ଭୁବନେଶ୍ବର,(ସତ୍ୟପାଠବ୍ୟୁରୋ): ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ଶୋକ ପ୍ରକାଶ । ବାଚସ୍ପତି ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ବାଚସ୍ପତି କହିଛନ୍ତି ଯେ, ସ୍ବର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ । ପଦ୍ମପୁର ଅଂଚଳର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ଏଥି ସହ ବିଧାନସଭାରେ ମୁଖ୍ୟ ସଚେତକ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି । ଏହି ଅବସରରେ ସ୍ବର୍ଗତ ସାହୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ପଦ୍ମପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜନପ୍ରତିନିଧି ଭାବରେ ତାଙ୍କର ଲୋକକଲ୍ୟାଣକାରୀ କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
