ଭୁବନେଶ୍ବର, (ସତ୍ୟପାଠବ୍ୟୁରୋ ): ଆଉ ସପ୍ତାହେ ବର୍ଷାରୁ ନିସ୍ତାର ନାହିଁ।  ଅଧା ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ପୂରା ରାଜ୍ୟରେ ବର୍ଷା ଲାଗି ରହିଛି। କଟକ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାବେଳେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଓ ଉତ୍ତର ଓଡ଼ିଶା ସମେତ ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୟାଗଡ଼, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ସହ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ପଶ୍ଚିମବଙ୍ଗ, ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଏହି ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏଥିସହ ଓଡ଼ିଶା ଉପକୂଳ ବନ୍ଦରଗୁଡ଼ିକରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ, ମାସର ଶେଷ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଅଗଷ୍ଟ  ୨୬ ଯାଏଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୨୭ ଓ ୨୮ ତାରିଖ ବେଳକୁ ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀରରେ ବର୍ଷା ହେବ। ଅଗଷ୍ଟ ୨୯-୩୦ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ମଧ୍ୟରେ ତାହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି।