ସୁନ୍ଦରଗଡ଼ ଭିଜିଲାନ୍ସ କର୍ଟରେ ହାଜର ହେବେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ, ଗତକାଲି ଚଢ଼ାଉ ବେଳେ ମିଳିଥିଲା ୩ କୋଟିରୁ ଉର୍ଦ୍ଧ୍ବ ନଗଦ ଟଙ୍କା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର କରିବ ଭିଜିଲାନ୍ସ ଟିମ। ଆଜି ସନ୍ଧ୍ୟା ସୁଦ୍ଧା ତାଙ୍କୁ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ ବୋଲି ଜଣାଯାଇଛି। ଏଣେ ଆଜି ପ୍ରଶାନ୍ତ କୁମାର ରାଉତଙ୍କୁ ଭିଜିଲାନ୍ସ ଗିରଫ କରିପାରେ ବୋଲି ସୂଚନା ମିଳିଛି।

ଖାଲି ସେତିକି ନୁହେଁ, ରାଉରକେଲା ଭିଜିଲାନ୍ସ ଡିଭିଜନର ସ୍ୱତନ୍ତ୍ର ଟିମ ଆୟ ବହିର୍ଭୂତ ସମ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା। ଚଢ଼ଉ ସମୟରେ ୩ କୋଟିରୁ ଉର୍ଦ୍ଧ୍ବ ନଗଦ ଟଙ୍କା, ୬୨ ଲକ୍ଷ ଟଙ୍କାର ଇନ୍ସୁରାନ୍ସ ଓ ବ୍ୟାଙ୍କ ଡିପୋଜିଟ୍ ଗାଡ଼ି, ଘର ଇତ୍ୟାଦି ପାଇଥିଲା ଭିଜିଲାନ୍ସ ଟିମ୍।

ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ ଭୁବନେଶ୍ୱର କାନନବିହାର ଏଚ୍‌ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ। କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ।

ତେବେ ଖାଲି ଭୁବନେଶ୍ବର ନୁହେଁ, ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ଯ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା। ସେହିପରି ଚଢ଼ଉ ଜାରି ରହିଥିବା ବେଳେ ସନ୍ଧ୍ୟାରେ ଆଉ ୧୦ ଲକ୍ଷ ୩୭ ହଜାର ଟଙ୍କା ଭୁବନେଶ୍ବର କାନନବିହାର ଘରୁ ଜବତ କରାଯାଇଛି। ଏହି ଟଙ୍କାକୁ ସେ ବହି ରୢାକ୍‌ ପଛପଟ କାନ୍ଥରେ ଲୁଚାଇ ରଖିଥିଲେ। ଏବେ ସୁଦ୍ଧା ୩କୋଟି ୨ ଲକ୍ଷ ୩୦ ହଜାର ୮୦୦ ଟଙ୍କା ଜବତ କରାଯାଇଛି। ଚଢ଼ଉ ଜାରି ରହିଥିବା ବେଳେ ନଗଦ ଟଙ୍କା ମିଳୁଥିବାରୁ ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ତାଜୁବ୍ ହୋଇଯାଇଥିଲେ।

Related Posts