ଆଗାମୀ ୪୮ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରଭାବରେ ୧୯ ରୁ ୨୨ ଯାଏଁ ବର୍ଷା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦୁର୍ବଳ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ହୋଇଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇଛି । ସେପଟେ, ଆଗାମୀ ୪୮ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୯ରୁ ୨୨ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି ।

ସେପଟେ, ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖ ଦିନ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ଏହିଭଳି ବର୍ଷା ଜାରି ରହିବ । ୨୦ ତାରିଖ ଆଡ଼କୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହୁଛି ।

Related Posts