ଆସନ୍ତା ୨୪ ଘଣ୍ଟାରେ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମୌସୁମୀ ଲଘୁଚାପ ଏବେ ଗଙ୍ଗାନଗର, ନାରନୌଲ, ଗଓ୍ଵାଲିୟର, ସିଦ୍ଧି, ଅମ୍ବିକାପୁର, ଝାରସୁଗୁଡ଼ା, ଚାନ୍ଦବାଲି ଦେଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିଛି ଏବଂ ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ମୌସୁମୀର ପ୍ରକୋପ ବୃଦ୍ଧି ସହ ଓ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୯ ଜୁଲାଇ, ଶନିବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୩ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛ, ସେଥିପାଇଁ ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ପ୍ରଭୃତି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଗୁରୁବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବିକ୍ଷିପ୍ତ ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Related Posts