ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରବାହ ଏବେ ଦୁର୍ବଳ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ମଙ୍ଗଳବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଛି ଏବଂ ଏହା ଆଜି ଉତ୍ତରପ୍ରଦେଶର ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ଅଗଷ୍ଟ ୧୭/୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୬ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ କନ୍ଧମାଳ ପ୍ରଭୃତି ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବତ୍ତର୍ୀ ଅଞ୍ଚଳରେ ଆଜି (ସୋମବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।
ରାଜ୍ୟରେ ଅଗଷ୍ଟ ୧୭/୧୮ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।





