ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ପାଇକମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ। ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକ ମାନେ ମତପ୍ରକାଶ କରନ୍ତି। ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।





