ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହେଲେ ଭି.କେ ପାଣ୍ଡିଆନ। ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପରେ ପାଣ୍ଡିଆନଙ୍କୁ 5T ଚେୟାରମ୍ୟାନ ନିଯୁକ୍ତି ମିଳିଛି। ପାଣ୍ଡିଆନ 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହୋଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଏଥିସହିତ ତାଙ୍କୁ କ୍ୟାବିନେଟ ପାହ୍ୟା ମଧ୍ୟ ମିଳିଛି। ଅର୍ଥାତ୍ ଜଣେ କ୍ୟାବିନେଟ ମନ୍ତ୍ରୀ ପାଉଥିବା ସମସ୍ତ କ୍ଷମତା ଓ ସୁବିଧା ସୁଯୋଗ ସେ ଉପଭୋଗ କରିବେ । ପାଣ୍ଡିଆନ ଏବେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧିନରେ କାମ କରିବେ ବୋଲି ମଧ୍ୟ ନିର୍ଦ୍ଦେଶନାମାରେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ଗତକାଲି ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଆଇଏଏସ୍ ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଗତକାଲି କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଗତକାଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଥିଲେ ।
୨୦୦୦ ବ୍ୟାଚ୍ ଆଇଏଏସ୍ ଶ୍ରୀ ପାଣ୍ଡିଆନ ପଞ୍ଜାବ କ୍ୟାଡ଼ରରେ ନିଯୁକ୍ତି ପାଇଥିଲେ । କିନ୍ତୁ ଓଡ଼ିଶା କ୍ୟାଡ଼ରର ସୁଜାତା ରାଉତଙ୍କୁ ପ୍ରେମ ବିବାହ କରିବା ପରେ ସେ ନିଜର କ୍ୟାଡ଼ର ପରିବର୍ତ୍ତନ କରି ଓଡ଼ିଶା ଆସିଥିଲେ । ୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୦୫ରୁ ୨୦୦୭ ମାର୍ଚ୍ଚ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ, ୨୦୦୭ ଏପ୍ରିଲ ୯ରୁ ୨୦୧୧ ଏପ୍ରିଲ ୨୯ତାରିଖ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟ କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ଭାବେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସଥିଲେ ଓ ୨୦୧୧ ମେ’ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଯୋଗ ଦେଇଥିଲେ । ସେବେଠୁ ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଗତ ୩ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ସଚିବ ଭାବେ ଉଭୟ ଦାୟିତ୍ୱ ତୁଲାଉଥିଲେ ।





