ମହାପ୍ରଭୁଙ୍କ ଆଜି ହରିହର ବେଶ, ଏନେଇ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ):ମହାପ୍ରଭୁଙ୍କ ଆଜି ହରିହର ବେଶ । ଏନେଇ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି।‌ ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି।ତେବେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ, ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି।

ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି।‌ କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି।

Related Posts