(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ବର : ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ମଧ୍ୟ ନୂଆପଡା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀରରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ୨୫ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପଶ୍ଚିମ-ଉତର ପଶ୍ଚିମ ଦିଗରେ ଗତି କରି ୨୬ ତାରିଖ ବେଳକୁ ଓଡିଶା ଉପକୂଳରେ ପହଂଚିବ । ଏହାର ପ୍ରଭାବରେ ୨୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଧିକ ବର୍ଷାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ୨୬ ତାରିଖ ଆଡ଼କୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।
