ପ୍ରବଳ ବର୍ଷା ସମ୍ଭାବନା ନେଇ ଆଜିଠାରୁ ୫ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : କାଚିବ ବର୍ଷା, ଭିଜିବ ଓଡ଼ିଶା । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ଆଜିଠାରୁ ୫ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର କହିଛି ଯେ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ୱଲପୁର, ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୪ ତାରିଖ ଦିନ ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

୫ ତାରିଖ ସକାଳେ ନୟାଗଡ଼, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଖୋର୍ଧା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିଭଳି ୬ ତାରିଖ ଦିନ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁନ୍‌ ୧ରୁ ଜୁଲାଇ ୨ତାରିଖ ଭିତରେ ରାଜ୍ୟରେ ୧୫୦.୩ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସ୍ୱାଭାବିକ ବର୍ଷାଠାରୁ ଏହା ୩୬% କମ୍‌। ଏହି ସମୟ ଭିତରେ ବୌଦ୍ଧରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ନୂଆପଡ଼ା ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଯାଇଛି। ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ସର୍ବାଧିକ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ସୂଚନା ମିଳିଛି।

Related Posts