ଭୁବନେଶ୍ୱର,୩୦/୧୨(ସତ୍ୟପାଠ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରଜରାଜନଗର ଠାରେ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗରର ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇ ପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।
ଏହି କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗ ଦେଇ କହିଛନ୍ତି, ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନମୂଳକ କାମ କରି ଯାଇଛନ୍ତି। ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଛନ୍ତି, ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ। ଏହି କାର୍ୟ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।
