ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ରାଜ୍ୟ ସରକାରଙ୍କର ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ

ସତ୍ୟପାଠ ବ୍ୟୁରୋ : ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର। ବାତ୍ୟା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ । ଦିନ ସାଢ଼େ ୧୧ଟାରେ ଲୋକସେବା ଭବନରେ ଏହି ସମୀକ୍ଷା ବୈଠକ ବସିବ ବୋଲି ଜଣାପଡିଛି ।

ଏଥିରେ ଯୋଗ ଦେବା ଲାଗି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା, ଉନ୍ନୟନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ପୁଲିସ ଡିଜି, ଅଗ୍ନିଶମ ବିଭାଗର ଡିଜି, ମୁଣ୍ଡଳିରେ ଥିବା ଏନ୍‌ଡିଆର୍‌ଏଫ୍‌ କମାଣ୍ଡାଣ୍ଟ ଓ ଭୁବନେଶ୍ୱର ଆଇଏମ୍‌ଡିର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶକଙ୍କୁ ଚିଠି ପଠାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ବୈଠକରେ ଯୋଗ ଦେବାକୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାପାଳଙ୍କୁ ମଧ୍ୟ ଚିଠି ଲେଖାଯାଇଛି।

ସୂଚନାଯୋଗ୍ୟ ଯେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୧୬ ତାରିଖ ସଂଧ୍ୟାରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ୧୮ ତାରିଖରୁ ସ୍ୱଳ୍ପରୁ ମଧ୍ୟମ ଏବଂ ୧୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୧୭ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।୧୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ଠାରୁ ଆଉ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Related Posts