(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ଆଜି ହେଉଛି ୭୫ତମ ସ୍ୱାଧୀନତା ଦିବସ। ଏହି ଅବସରରେ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ରୂପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ କରାଯାଇ ସ୍ମାର୍ଟ ହେଲଥ୍ କାର୍ଡ ପ୍ରଚଳନ କରାଯାଇଛି । ରାଜ୍ୟର ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍ଥ କାର୍ଡ । ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ରାଜ୍ୟ । ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଏହି କାର୍ଡରେ ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ରାଜ୍ୟ ତଥା ଦେଶର ୨୦୦ରୁ ଅଧିକ ଘରୋଇ ଡାକ୍ତରଖାନାରେ ଏଥିରୁ ଚିକିତ୍ସା ସୁବିଧା ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ରାଜ୍ୟ । ଏଥିସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଇତିହାସ ଯୋଡି ହୋଇଛି ।
ଏହାର ଘୋଷଣା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ‘ସାରା ଓଡିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କହିଛନ୍ତି।
ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍ଥ କାର୍ଡ ମିଳିବ । ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ । ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲ ଚେନ୍ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ସାରା ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ନୂଆ ଇତିହାସ ସୃଷ୍ଟି କରିବ । ମୋର ବିଶ୍ୱାସ, ମୋର ପ୍ରିୟ ଓଡିଶାବାସୀଙ୍କୁ ସ୍ୱାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ।’ ।
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ
ଆଜି ଭୁବନେଶ୍ୱର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ୭୫ ବର୍ଷ ଗୋଟିଏ ଦେଶ ପାଇଁ, ଜାତି ପାଇଁ ବହୁତ ବଡ ସମୟ ନ ହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ବ ରହିଛି। ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇପାରିଛେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, Investment in Youth is investment in future.
୪୧ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍ସ ରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳୀ ମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢିତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ଯେ ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ସାରା ବିଶ୍ୱରେ କୋଭିଡ ମହାମାରୀ ସବୁଠାରୁ ବଡ ସ୍ୱାସ୍ଥ୍ୟ ସମସ୍ୟା ଭାବେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। କୋଭିଡର ଦ୍ବିତୀୟ ଲହର ଅମ୍ଳଜାନ ଅଭାବ ଦେଖାଦେଇଥିବା ବେଳେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ସିଜେନ ନିରନ୍ତର ଭାବରେ ଯୋଗାଇ ଓଡିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏବଂ ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି ସେ କହିଛନ୍ତି। ଓଡିଶାର ଗୌରବମୟ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଖୁଣ୍ଟ ହାସଲ କରୁଛି । ସମସ୍ତଙ୍କ ସହଯୋଗରେ ଓଡିଶା ଆଗାମୀ ଦିନରେ ତାର ପରିଚୟକୁ ଆହୁରି ଉଜ୍ଜଳ କରିପାରିବ ବୋଲି ଦୃଢ ଆଶା ପୋଷଣ କରିଥିଲେ ।