ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଯାଇଛି ମୌସୁମୀ ବର୍ଷା । ରାଜ୍ୟର ସମସ୍ତ ଜିଲ୍ଲାକୁ ଛୁଇଁଛି ମୌସୁମୀ । ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ଏବେ ସମଗ୍ର ରାଜ୍ୟରେ ଅଗ୍ରସର ହୋଇ ଯାଇଥିବା ବେଳେ ଗତକାଲି ଠାରୁ ତମାମ୍ ରାଜ୍ୟରେ ମୌସୁମୀ ବର୍ଷା ଲାଗିରହିଛି।
ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି। ଯାହା ଗତ 24 ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୨ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ପୁରୀ ଓ ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।





