ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ପାର୍ବଣରେ ସତର୍କ ରୁହ , ଅବହେଳା ପରିଲକ୍ଷିତ ହେଲେ ପୁଣି ଲକଡାଉନ୍‍

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ଆଗକୁ ପାର୍ବଣ ଋତୁ ଆସୁଥିବା ବେଳେ କୋଭିଡ୍ ର ସମ୍ଭାବ୍ୟ ତୃତୀୟ ତରଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇପଡିଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ଆଚରଣବିଧି ହେଉଛି,କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ତେଣୁ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପିଲାମାନେ ବର୍ତ୍ତମାନ ସୁଦ୍ଧା ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟପକ୍ଷରେ ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଜନ ସମାଗମ ସ୍ଥଳରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ – ଏହି ହାଇ ରିସ୍କ ଗ୍ରୁପର ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ କହିଛନ୍ତି ଯେ, ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ଉଚିତ୍ । ପରିସ୍ଥିତିର ଗୁରୁତ୍ବକୁ ଉପଲବ୍ଧି କରିବା ପାଇଁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏମିତି କରିବା ଦ୍ବାରା ଲକ୍‌ଡାଉନକୁ ଏଡାଇ ଦିଆଯାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।

Related Posts