ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ସୋମବାର ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ସମୁଦ୍ର ପତ୍ତନଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ ତାରିଖ ବେଳକୁ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶାର ବର୍ଷାର ପରିମାଣ ଅଧିକ ରହିପାରେ। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ଗତ ଜୁଲାଇ ୨୦ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଥିଲା। ଏହାଯୋଗୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବାସହିତ କିଛି ସ୍ଥାନ ଭୃସ୍ଖଳନ ମଧ୍ୟ ହୋଇଥିଲା। ଯାହାଫଳରେ କିଛି ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।





