ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଓଡ଼ିଶା ବିଧାନସଭାରେ ବିରୋଧୀଦଳ ଉପ ନେତା ତଥା ବରିଷ୍ଠ ବିଜେପି ନେତା ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ପରଲୋକ ହୋଇଛି । ୬୧ ବର୍ଷ ବୟସରେ ଆଖି ବୁଜିଛନ୍ତି ବିଷ୍ଣୁ ସେଠୀ । ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ ଆକ୍ରାନ୍ତ ଥିଲେ । ଭଦ୍ରକ ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ନିର୍ବାଚନରେ ନିର୍ବାଚିତ ହୋଇଥିଲେ ।ଏହା ପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ । ବିଜେପିର ଜଣେ ଟାଣୁଆ ନେତା ତଥା ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ସେ ବେଶ ପରିଚିତ ଥିଲେ । ରାଜନେତା ସହ ସେ ଜଣେ ଲେଖକ ଓ ସାହିତ୍ୟିକ ଭାବେ ମଧ୍ୟ ସାରା ରାଜ୍ୟରେ ବେଶ ପରିଚିତ ଥିଲେ ।
ବିଷ୍ଣୁ ସେଠୀଙ୍କ ବିୟୋଗ ନେଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଉଦ୍ଦେଶ୍ୟରେ ଶୋକ ବାର୍ତ୍ତା ଦେଇଛନ୍ତି।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଷ୍ଣୁ ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭବେ ବର୍ଣ୍ଣନା କରି ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ରାଜ୍ୟପାଳ।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଷ୍ଣୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟୁଇଟ କରି ଲେଖିଛନ୍ତି ଯେ, ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କର କାର୍ଯ ସର୍ବଦା ସ୍ମରଣୀୟ ହୋଇ ରହିବ । ଏହା ସହ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଅନ୍ୟପକ୍ଷରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସେ କହିଛନ୍ତି, ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ । ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା । ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ । ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ । ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ବୋଲି ଧର୍ମେନ୍ଦ୍ର କହିଛନ୍ତି।
