ବାତ୍ୟା ଭୟରେ ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କିଣି ମହଜୁଦ କରି ରଖନ୍ତୁ ନାହିଁ: ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ନେଇ ଆଶଙ୍କାର ପ୍ରକାଶ ପାଇଥିବା ବେଳେ, ଆସନ୍ତା ୧୦ ତାରିଖରେ ଲ୍ୟାଂଡଫଳ କରିବା ନେଇ ପାଣିପାଗ ବିଶେଷଞଘ୍ୟ ପୂର୍ବାନୁମାନ କରିଛନ୍ତି | ସେପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି | ବାତ୍ୟା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ନେଇ ନିର୍ଦେଶ ଜାରି କରାଯାଇଥିବା ବେଳେ, ସେପଟେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଟ୍ୱିଟ୍ କରିଛନ୍ତି।

ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଅଯଥା ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କିଣି ମହଜୁଦ କରି ରଖନ୍ତୁ ନାହିଁ। ଏହାଦ୍ୱାରା ବଜାରରେ କୃତ୍ରିମ ଅଭାବ ଦେଖା ଦେଇପାରେ ଓ ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି ବୋଲି କହିଛନ୍ତି |

ମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ବଜାରରେ ସବୁପ୍ରକାର ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁତ ରହିଛି। କଳାବଜାରୀ ଓ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଇଛି। ଆବଶ୍ୟକ ସ୍ଥଳେ ଶକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ।

ସେ ଆହୁର କହିଛନ୍ତି, ବାତ୍ୟା ମୁକାବିଲା ପାଇଁ ସତର୍କ ରୁହନ୍ତୁ। ହେଲେ ଆତଙ୍କିତ ହୁଅନ୍ତୁ ନାହିଁ। ସରକାର ସବୁବେଳେ ଆପଣଙ୍କ ସହ ଅଛନ୍ତି।

ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related Posts