ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଛି। ସେ ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ ମୁଖ୍ୟ ଶାସନ ସଚିବ ପଦବିରେ ରହିବେ। ରାଜ୍ୟ ସରକାର ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି। ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାକୁ ଯାଉଥିବା ବେଳେ ରାଜ୍ୟରେ କିଏ ନୂଆ ମୁଖ୍ୟ ଶାସନ ସଚିବ ହେବେ ସେନେଇ ଚର୍ଚ୍ଚା ହେଉଥିଲା।
ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ଶ୍ରୀ ଜେନାଙ୍କୁ ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ ଭାବେ ମାର୍ଚ୍ଚ ୧ ତାରିଖରେ ଦାୟିତ୍ବ ଗ୍ରହଣ କରିଥିଲେ। ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଜଣେ ଦକ୍ଷ ପ୍ରଶାସକ ଭାବେ ବେଶ୍ ଜଣାଶୁଣା। ୧୯୬୪ ମସିହାରେ ଜନ୍ମିତ ପ୍ରଦୀପ କୁମାର ଜେନା ଆଇଏଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଶିକ୍ଷଣ ପରେ ୧୯୯୧ ମସିହାରେ ପ୍ରଥମେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା।
୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ। ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ଯ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି। କୃଷି ନିର୍ଦ୍ଦେଶକ ପଦରେ ଥାଇ ଚାଷୀମାନଙ୍କ ପାଇଁ ଅନେକ ସୁଦୂର ପ୍ରସାରୀ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ସେହିପରି କୋଭିଡ୍ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ।





