୧୪ ଯାଏ ପ୍ରବଳ ବର୍ଷିବ

ସତ୍ୟପାଠ ବ୍ୟୁରୋ  : ଉତ୍ତରପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା‌ ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଯାହାକି ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳ ଉପରେ ରହି ପରବର୍ତୀ ସମୟରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପ୍ରଭାବରେ ସୋମବାରଠାରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଏହି ସମୟରେ କେରଳର ଅଧିକାଂଶ ସ୍ଥାନରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧୨ ଓ ୧୩ ତାରିଖରେ ଅଧିକ ବର୍ଷା ହେବ। ୧୨ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବରଗଡ଼ ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, ରାୟଗଡ଼ା, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୩ରୁ ୧୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଓ କଟକରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ‌ତେଣୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ୧୨ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

Related Posts