ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୧୨ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଏବଂ ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିମଧ୍ୟରୁ ୧୨ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା କାରଣରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସକ୍ରିୟ ରହିଛି। ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୨ଦିନ ମଧ୍ୟରେ ଏହା ଝାଡ଼ଖଣ୍ଡ ଦେଇ ଉତ୍ତର- ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଗଚକାଲି (ମଙ୍ଗଳବାର) କୋରାପୁଟ, କଳାହାଣ୍ଡି, ଢେଙ୍କାନାଳ, ଗଜପତି, ବଲାଙ୍ଗୀର, ଗଞ୍ଜାମ, ରାୟଗଡ଼ା, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଆାସନ୍ତା ୨୪ ଘଣ୍ଟା (ଅର୍ଥାତ୍‌ ୨୧ ସେପ୍ଟେମ୍ବର, ଗୁରୁବାର) ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ମେଘାଚ୍ଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related Posts