ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାରେ କାଳବୈଶାଖୀ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି।ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ସୋମବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related Posts