ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭/୦୬ (ସତ୍ୟପାଠ ବ୍ୟୁରୋ): ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉତ୍ତର ଓଡିଶାର କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏନେଇ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ତେବେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏଥିସହ ଲଘୁଚାପ ପ୍ରଭାବରେ ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ରାଜ୍ୟରେ ଆହୁରି ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି।

ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ଆଜି ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ନୂଆପଡ଼ା ଜିଲ୍ଲାରେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ସୋନପୁର, ଦେବଗଡ଼ ଏବଂ କେଉଁଝର ଜିଲ୍ଲାରେ ମଧ୍ୟପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାରୁ ସମୁଦ୍ର ମଧ୍ୟରେ ପବନର ବେଗ ୪୫-୫୫ କିମି ବେଗ ରହିବାର ପୂର୍ବାନୁମାନ କରାଯାଉଛି। ଏଣୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ବର୍ଷାର ସ୍ଥିତି ଦେଖିଲେ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ସମ୍ଭବନା ରହିଛି। ବିଶେଷ କରି ସହରମାନଙ୍କରେ ଏହି ସ୍ଥିତି ଅଧିକ ହେବା ସହିତ ଟ୍ରାଫିକ ସମସ୍ୟା ସୃଷ୍ଟି ହେବ। ସେହିପରି ଖାଲୁଆ ଅଞ୍ଚଳରେ ପାଣି ଜମି ରହିବାରୁ ସମ୍ଭାବନା ଥିବାରୁ ଚାଷୀ ଭାଇମାନଙ୍କୁ ଏଥିପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Related Posts