(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ସହ ଘଂଟା ପ୍ରତି ୫ କିମି ବେଗରେ ଗତି କରୁଛ । ଏହା ପାରାଦ୍ବୀପ ଉପକଳରୁ ୪୦ କିମି ଦୂରରେ ରହିଛି । ଏହା ପ୍ରଭାବରେ ପ୍ରବଳ ବର୍ଷା ହେଉଛି। ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ୩୨୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ତେବେ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ଯେ ଆଜି ଦିନ ତମାମ ବର୍ଷା ଜାରି ରହିବ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ରାତି ୧୦ଟା ସୁଦ୍ଧା ଏହା ଚାନ୍ଦବାଲିଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୮୦ କିମି, ପାରାଦୀପର ପୂର୍ବରେ ୭୦ କିମି ଓ ବାଲେଶ୍ବରଠାରୁ ୧୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ସୋମବାର ସକାଳ ସୁଦ୍ଧା ଏହା ଓଡ଼ିଶା ଉପକୂଳ ତଥା ଚାନ୍ଦବାଲି ନିକଟରେ ଉପକୂଳ ସ୍ପର୍ଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଧୀରେ ଧୀରେ ଏହା ଉତ୍ତର ଓଡ଼ିଶା ଦେଇ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଆଡ଼କୁ ଯିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏସ୍ଆରସିଙ୍କ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୧୪ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଆଜି ପୁରୀ, ଖୋର୍ଦ୍ଧା, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତିରୁ ଅତିପ୍ରବଳ ଅର୍ଥାତ୍ ୨୦୦ ମିମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଅନ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଯେଉଁଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ତେଣୁ ସ୍ଥିତି ଉପରେ କଡ଼ା ନଜର ରଖି ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।