ଭୁବନେଶ୍ୱର,୧୫/୪(ସତ୍ୟପାଠ ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତରୁଣ ପାଣ୍ଡେ । ଝାରସୁଗୁଡ଼ା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଏହି ନାମାଙ୍କନ ଦାଖଲ କରିଛନ୍ତି । ତରୁଣ ହେଉଛନ୍ତି ୩ ଥରର ଝାରସୁଗୁଡ଼ା ବିଧାୟକ ସ୍ବର୍ଗତ ବୀରେନ୍ ପାଣ୍ଡେଙ୍କ ପୁଅ। ଆଜି ସେ ନିଜର ସମର୍ଥକ ଓ କର୍ମୀଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି। ତରୁଣ ନାମାଙ୍କନ ଦାଖଲ କରିବା ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ ।
ତେବେ ଝାରସୁଗୁଡାରେ ଉପନିର୍ବାଚନ ଘୋଷଣା ହେବାପରେ ପ୍ରଦେଶ କଂଗ୍ରେସ କମିଟିର ୫ ଜଣିଆ ଟିମ୍ ଝାରସୁଗୁଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥିତ୍ବ ନେଇ କର୍ମୀ ଓ ନେତାଙ୍କ ସହ ବିଚାରବିମର୍ଶ କରିଥିଲେ। ଟିମ୍ ୬ ଜଣିଆ ତାଲିକା ପ୍ରସ୍ତୁତ କରି ଦଳର ରାଜ୍ୟ କମିଟିକୁ ହସ୍ତାନ୍ତର କରିଥିଲା। ତେବେ ଏଆଇସିସି ତରୁଣଙ୍କ ନାମ ଉପରେ ମୋହର ଲଗାଇଥିଲା। ତରୁଣ କୌଣସି ସାଧାରଣ ନିର୍ବାଚନରେ ପୂର୍ବରୁ ପ୍ରତିଦ୍ବନ୍ଦିତା କରିନଥିବା ବେଳେ ପ୍ରଥମ ଥର ପାଇଁ ଦଳ ତାଙ୍କୁ ଉପ ନିର୍ବାଚନ ମଇଦାନରେ ଓହ୍ଳାଇଛି।
ସୂଚନାଯୋଗ୍ୟ ଯେ, ଝାରସୁଗୁଡାର ବିଧାୟକ ତଥା ରାଜ୍ୟର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଏହି ଆସନଟି ଖାଲି ପଡ଼ିଥିଲା। ଏହି ଆସନରେ ମେ ୧୦ ତାରିଖରେ ଏହି ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣ କରାଯିବ। ଏହି ଆସନ ପାଇଁ ବିଜେଡି ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଯୁବନେତା ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ଆଜି ନାମାଙ୍କନ ଦାଖଲ କରିଥିବା ବେଳେ ଆସନ୍ତା ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ୧୮ ତାରିଖରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି।





