ବାପାଙ୍କ ଆଶୀର୍ବାଦ ନେଇ ବିଜେଡିରେ ମିଶିଛି: ମନ୍ମଥ ରାଉତରାୟ

ଭୁବନେଶ୍ୱର,୨୭/୩ (ସତ୍ୟପାଠ ବ୍ୟୁରୋ): ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି।

ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ‌ଆସିଥିଲେ। ସୁର ନିଜ ପୁଅର ଏହି ବିରାଟ ଶୋଭାଯାତ୍ରାରେ ସାମିଲ ହୋଇ ନଥିଲେ ମଧ୍ୟ ସେ ନିଜ ପୁଅ ମନ୍ମଥଙ୍କୁ ଜିତାଇବାକୁ ନିଜର କର୍ମୀମାନଙ୍କୁ ଆହ୍ୱାନ କରିଥିଲେ। ସେ କହିଥିଲେ, ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ ପୁଅ। ତାକୁ ଆମେ ଜିତାଇବା।

ଅନ୍ୟପକ୍ଷରେ ବାପାଙ୍କ ଆର୍ଶୀବାଦ ନେଇ ବିଜେଡିରେ ସାମିଲ ହୋଇଥିବା ଶଙ୍ଖ ଭବନରେ ମନ୍ମଥ କହିଥିଲେ, ମୋ ବାପା ସୁର ରାଉତରାୟ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପ୍ରେରଣାରେ ଆଗକୁ ବଢ଼ିବି। ବିଜେଡିରେ ମିଶିବା ତାଙ୍କର ଏକା ନିଷ୍ପତ୍ତି ନୁହେଁ। ଏହା ତାଙ୍କ ପରିବାରର ନିଷ୍ପତ୍ତି ବୋଲି ମନ୍ମଥ କହିଥିଲେ। ତେଣୁ ସମସ୍ତେ ମନରୁ ଏନେଇ ଦ୍ୱନ୍ଦ୍ୱ ଦୂର କରିବାକୁ ମନ୍ମଥ କହିଥିଲେ |

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ମନ୍ମଥ କ୍ୟାପଟନ ଚାକିରି ଛାଡ଼ିଥିଲେ। ପରେ ସୁର ମନ୍ମଥଙ୍କୁ ଜଟଣୀରୁ ନିଜର ରାଜନୈତିକ ଉତ୍ତରାଧିକାରୀ ଭାବେ ଗଣମାଧ୍ୟମ ଆଗରେ ଘୋଷଣା କରିଥିଲେ।

Related Posts