ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଗୁରୁବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲା ଗୁଡ଼ିକ ପାଇଁ ପାଣିପାଗ ବିଭାଗପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୧ ତାରିଖରେ ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ଜାରି ହୋଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ସେଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Related Posts