ମଙ୍କିପକ୍ସ ଭୟ: ଦିଲ୍ଲୀରୁ ପଞ୍ଚମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା । ଦିଲ୍ଲୀରୁ ପଞ୍ଚମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛି । ଏଲଏନଜେପି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳା ମଙ୍କିପକ୍ସ ପାଇଁ ପଜିଟିଭ୍ ପରୀକ୍ଷା କରିବା ପରେ ଦିଲ୍ଲୀରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ଦିଲ୍ଲୀରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି।

ତେବେ ଦିଲ୍ଲୀର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ମଧ୍ୟରୁ ଚାରିଜଣ ଚିକିତ୍ସିତ ହେଉଥିବାବେଳେ ଜଣେ ଡିସଚାର୍ଜ ହୋଇଛନ୍ତି। ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଙ୍କିପକ୍ସର ସଂକ୍ରମଣରୁ ବଞ୍ଚିବା ପାଇଁ କ’ଣ କରିବା ଦରକାର ଏବଂ କ’ଣ କରିବା ଦରକାର ନୁହେଁ ସେ ନେଇ ଏକ ତାଲିକା ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ, ଆଜି ଦେଶରେ ଦୈନିକ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇ ୧୬ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୮୧୫ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୬୮ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୮୧୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୩୯,୩୭୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୯୯୬ରେ ପହଞ୍ଚିଛି।

Related Posts