ପଞ୍ଚୁକର ଚତୁର୍ଥ ଦିବସରେ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆଜି ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଆଜି ପଞ୍ଚୁକର ଚତୁର୍ଥ ଦିବସ । ଏନେଇ ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେଉଛି । ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି ।

ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରଭୁଜ, ଶ୍ରୀପୟର ଏବଂ ହଳମୃସଳ ଧାରଣ କରିଥାନ୍ତି । ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ ।

ତେଣୁ ଏହି ବେଶକୁ ଡ଼ାଳିକିଆ ବେଶ ମଧ୍ୟ କୁହାଯାଏ । ତେବେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଥିବାବେଳେ ଚନ୍ଦ୍ରଗ୍ରହଣ ଲାଗୁଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି କାନ୍ତି ଚୁଡାନ୍ତ ହୋଇଥିବା ବେଳେ ଭକ୍ତମାନେ ଏହି ଦୁର୍ଲଭ ସୁନାବେଶ ଦର୍ଶନରୁ ବଞ୍ଚିତ ହେବା ସମ୍ଭାବନା ରହିଛି ।

Related Posts