ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ପାଣ୍ଡିଆନ ଏବେ ବିଜେଡି ନେତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି ଭି.କେ.ପାଣ୍ଡିଆନ୍। ଏବେ ୫-ଟି ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଅଛନ୍ତି ଭି.କେ.ପାଣ୍ଡିଆନ୍। ଏହି ସମୟରେ ନବୀନ ନିବାସରେ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୩ ତାରିଖରେ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ ପାଣ୍ଡିଆନଙ୍କୁ ମିଳିଥିଲା ନୂଆ ନିଯୁକ୍ତି। ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଉଛନ୍ତି ଭି.କେ ପାଣ୍ଡିଆନ। ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଥିଲା।
ଶ୍ରୀ ପାଣ୍ଡିଆନ୍ ଆଇଏଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲା ପରେ ୨୦୦୦ ସେପ୍ଟେମ୍ବର ୭ରୁ ୨୦୨୨ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ତାଲିମ ନେଇଥିଲେ। ଆଇଏଏସ୍ ତାଲିମ ଶେଷ ହେଲା ପରେ ସେ ପ୍ରଥମେ କଳାହାଣ୍ଡିର ଧର୍ମଗଡ଼ରେ ଉପଜିଲ୍ଲାପାଳ ପଦବିରେ ନିଯୁକ୍ତ ହୋଇଥିଲେ। ସେ କଳାହାଣ୍ଡିରେ ୨୦୦୨ ଅଗଷ୍ଟ ୧ରୁ ୨୦୦୪ ଫେବ୍ରୁଆରି ୨୯ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୦୪ ମାର୍ଚ୍ଚ ୧ରୁ ଜୁନ୍ ୩୦ ଯାଏ ଓଡ଼ିଶା ନିର୍ବାଚନ ବିଭାଗରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଥିଲେ। ୨୦୦୪ ଜୁଲାଇ ୧ରୁ ୨୦୦୫ ଏପ୍ରିଲ ୩୦ ଯାଏଁ ରାଉରକେଲାର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟ ତୁଲାଇଥିଲେ।
ସେହିପରି ଶ୍ରୀ ପାଣ୍ଡିଆନଙ୍କୁ ୨୦୦୫ ମେ’ ୧ରୁ ୨୦୦୭ ଏପ୍ରିଲ ୮ ଯାଏଁ ମୟୂରଭଂଜ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ସେ ଗଂଜାମ ଜିଲ୍ଲାପାଳ ଭାବେ ୨୦୦୯ ଜାନୁଆରି ୧ ତାରିଖ ପର୍ଯ୍ୟନ୍ତ କାମ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିବା ପରେ ୨୦୧୧ ମେ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ଏହି ପଦବିରେ ଥିବା ସମୟରେ ତାଙ୍କର କ୍ଷମତା କ୍ରମଶଃ ବୃଦ୍ଧି ହୋଇଥିଲା ଓ କାର୍ଯ୍ୟ ପରିସର ବ୍ୟାପକ ହୋଇଥିଲା। ଏହାପରେ ୨୦୧୯ ମସିହାରେ ତାଙ୍କୁ ୫-ଟି ସଚିବ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କଲେ। ଏହାପରେ ସେ ଆହୁରି ଅଧିକ କ୍ଷମତାଶାଳୀ ହୋଇଉଠିଲେ। ଏଥିସହ ସେ ରାଜ୍ୟର ସବୁଠାରୁ ପ୍ରଭାବଶାଳୀ ବ୍ୟକ୍ତି ଭାବେ ପରିଗଣିତ ହେଲେ।





