ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଯଦି କୌଣସି ଅଧିକାରୀ ଏପରି ନୀତି ଅବଲମ୍ବନ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିବା ଦେଖିବାକୁ ମିଳିଛି । ରାଜ୍ୟ ସରକାର ଆଉ ୬ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେଥିରେ ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ ଓ ୨ ବିଇଓ ଅଛନ୍ତି। ସମ୍ବଲପୁର ଇଲେକ୍ଟ୍ରିକାଲ୍‌ ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ପଣ୍ଡାଙ୍କୁ ଚାକିରିରୁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ସେହିପରି ବ୍ରହ୍ମପୁର ଗ୍ରାମ୍ୟ ବିଦ୍ୟୁତ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀ, ଡେପୁଟୀ ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ ଭୂୟାଁ, ପ୍ରଶାନ୍ତ ମିଶ୍ର, ଗୁଣପୁର ବିଇଓ ଅନ୍ତର୍ଯ୍ୟାମୀ ବେହେରା ଓ ନୂଆଗଡ଼ ବିଇଓ ବ୍ରଜ ନାୟକଙ୍କୁ ବିଦା କରାଯାଇଛି। ଆଜି ସୁଦ୍ଧା ରାଜ୍ୟ ସରକାର ୧୬୪ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଗତ ୧୬ ତାରିଖରେ ରାଜ୍ୟ ସରକାର ୬ ଅଧିକାରୀଙ୍କୁ ବିଦା କରିଥିଲେ। ସେମାନେ ହେଲେ- ନିର୍ବାହୀ ଯନ୍ତ୍ରୀ ସରୋଜ ଦାସ, ଦୟାନିଧି ସାମଲ, ନିର୍ବାହୀ ଯନ୍ତ୍ରୀ କରୁଣାକର ଘଡ଼ାଇ, ପୁଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକ, ନୂଆପଡ଼ା ACSO ରତ୍ନାକର ସେଠୀ ଓ ଅନୁଗୋଳର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକ ।

ତେବେ ଆସନ୍ତୁ ଜାଣିବା ଛାଟ ପଡ଼ିଥିବା 6 ଅଧିକାରୀଙ୍କ ବିଷୟରେ,

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ଶ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (Testing and Calibration) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (ED & Inspection) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ସେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଗଜପତି ଜିଲ୍ଲାର ନୂଆଗଡସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିଲାବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।