ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ତେବେ ଓଡ଼ିଶାର ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି । ଓଙ୍ଗ଼ିଶା ସଂଙ୍ଗୀତ ଓ ସଂସ୍କୃତି ପାଇଁ ତାଙ୍କ ଅବଦାନ ଅତୁଳନୀୟ ଥିଲା । ଏହା ମଧ୍ୟରେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୟୁଟରରେ ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି, ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ। ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ। ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ୟ୍ୟରେ ପ୍ରତିଫଳିତ ହୁଏ। ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
ସେହିପରି ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି, ଓଡ଼ିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି। ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି। ବାସ୍ତବରେ ପ୍ରଫୁଲ୍ଲ କରଙ୍କ ବିୟୋଗ ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି ।