ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଏବେ ଦୁର୍ବଳ ରହିଛି ମୌସୁମୀ । ଫଳରେ ଏବେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୯ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ ପରଠାରୁ ବିଳମ୍ବିତ ରାତି ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

Related Posts