ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ଫଳରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୮ ତାରିଖ, ସୋମବାର ଅପରାହ୍ନ ସୁଦ୍ଧା ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି (ରବିବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ ଅଗଷ୍ଟ, ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟିର କଟକରେ ପାଗ ଶୁଖିଲା ରହିବ। କିନ୍ତୁ, ଭୁବନେଶ୍ୱରରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Related Posts