ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ଅଟଳ ସମାଧି ସ୍ଥଳୀ “ସଦୈବ ଅଟଳ” ରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ମୋଦି ସରକାରଙ୍କ ସମସ୍ତ ମନ୍ତ୍ରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ସେହିପରି ପ୍ରଧାନମନ୍ତ୍ରୀଙ୍କ ସହ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ୨୦୧୮ ଅଗଷ୍ଟ ୧୬ ତାରିଖରେ ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଅଟଳ ବିହାରୀ ବାଜପେୟୀଙ୍କ ଦେହାନ୍ତ ହୋଇଥିଲା। ତିନିଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ଅଟଳ ବିହାରୀ ବାଜପେୟୀ ମଧ୍ୟପ୍ରଦେଶର ଗ୍ୱାଲିଅର୍‌ରେ ଜନ୍ମ ଗ୍ରହଣ କରିଥିଲେ। ୧୯୨୪ ଡିସେମ୍ବର ୨୫ରେ ତାଙ୍କ ଜନ୍ମ ହୋଇଥିଲା। ବାଜପେୟୀଙ୍କ ଅବଦାନକୁ ଦୃଷ୍ଟିରେ ରଖି ତାଙ୍କୁ ୨୦୧୫ରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନୀତ କରାଯାଇଥିଲା।

Related Posts