ଭୁବନେଶ୍ୱର,୨୨/୫(ସତ୍ୟପାଠ ବ୍ୟୁରୋ): ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ। ଶପଥ ନେବେ ତିନି ନୂଆ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେବେ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନଥିବା ବେଳେ ତିନି ଜଣ ଯାକ କ୍ୟାବିନେଟ ପାହ୍ୟା ପାଇବେ ବୋଲି ସୂଚନା ମିଳିଛି। ସକାଳ ୯ଟା ୫୦ରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
ସୂଚନାଯୋଗ୍ୟ ଯେ, ଗତ ୧୨ ତାରିଖରେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଏବଂ ଦୁଇ ମନ୍ତ୍ରୀ ସମୀର ଦାସ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେହିପରି ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ମଧ୍ୟ ମନ୍ତ୍ରୀମଣ୍ଡଳରେ ଆଉ ଗୋଟିଏ ଆସନ ଖାଲି ପଡିଥିଲା। ତେବେ ଏହି ୩ ଜଣ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇବାକୁ ଯାଉଥିବା ବେଳେ କିଏ ନୂଆ ବାଚସ୍ପତି ହେବେ ସେନେଇ ସୂଚନା ମିଳିନାହିଁ।
ତେବେ ମନ୍ତ୍ରୀ ହେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଫୋନ୍ କଲ୍ ଆସିବା ପରେ ବିକ୍ରମ ଆରୁଖ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ। ତେବେ ଯେଉଁ ବିଭାଗ ମିଳିବ ଆନ୍ତରିକତାର ସହ ଦାୟିତ୍ୱ ତୁଲାଇବି।
ସେହିପରି ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । ଓଡ଼ିଶାବାସୀଙ୍କ ସେବାରସୁଯୋଗ ପାଇବା ସୌଭାଗ୍ୟର ବିଷୟ।
ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ହେଉଛନ୍ତି ବିକ୍ରମ ଆରୁଖ। ଲଗାତାର ୬ ଥର ଭଞ୍ଜନଗରରୁ ନିର୍ବାଚିତ ହୋଇଛନ୍ତି। କଂଗ୍ରେସ ଗଡ଼ରେ ୧୯୯୫ ମସିହାରେ ବିଧାୟକ ଭାବେ ପ୍ରଥମ ଥର ପାଇଁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୪, ୨୦୧୯ ଏପରି ୬ ଥର ବିଧାୟକ ହୋଇଛନ୍ତି। ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ସଂଗଠନ ଦାୟିତ୍ୱରେ ମଧ୍ୟ ଥିଲେ ଆରୁଖ।
ସେହିପରି ସାରଦା ପ୍ରସାଦ ନାୟକ ହେଉଛନ୍ତି ପଶ୍ଚିମ ଓଡ଼ିଶାର ଅନ୍ୟତମ ଜଣାଶୁଣା ଚେହେରା। ଏବେ ସେ ରାଉରକେଲାରୁ ବିଧାୟକ ଅଛନ୍ତି। ୬୪ ବର୍ଷୀୟ ସାରଦା ୨୦୦୪ ମସିହାରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୯ ମସିହାରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୨ ପର୍ଯ୍ୟନ୍ତ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ସାରଦା ନାୟକ। ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି।
ସେହିପରି ମନ୍ତ୍ରୀମଣ୍ଡଳରେ ସାମିଲ ହେବାକୁ ଯାଉଥିବା ବଙ୍ଗିରିପୋଷି ବିଧାୟକ ସୁଦାମ ମାରାଣ୍ଡି ମୟୂରଭଂଜ ଜିଲ୍ଲାର ବିଜେଡି ସଭାପତି ଅଛନ୍ତି। ସେ ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ୨ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ୨ଥର ମନ୍ତ୍ରୀ ମଧ୍ୟ ହୋଇଛନ୍ତି। ପୂର୍ବରୁ ରାଜସ୍ୱ ଓ ପ୍ରଶମନ ବିଭାଗ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ସମ୍ଭାଳି ଥିଲେ।





